ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ୧୦୮ ଆମ୍ବୁଲାନ୍ସ

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ୧୦୮ ଆମ୍ବୁଲାନ୍ସ

ପ୍ରଥମ ପର୍ଯ୍ୟାୟରେ ୧୫୦ଟି ନୂଆ ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସେବାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟାଡିୟମ ଠାରେ ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି।

ସୂଚନାଯୋଗ୍ୟଯେ, ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୪୨୮ଟି ନୂଆ ୧୦୮- ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି। ଏଥିରେ ୪୧୯ ଟି ପୁରୁଣା ଆମ୍ବୁଲାନ୍ସ, ୨ ଟି ଦୁର୍ଘଟଣା ରେ ସମ୍ପୂର୍ଣ ନଷ୍ଟ ହୋଇଯାଇଥିବା ଆମ୍ବୁଲାନ୍ସକୁ ପରିବର୍ତ୍ତନ କରାଯାଇ ନୂଆ ଆମ୍ବୁଲାନ୍ସ ବ୍ୟବହାର କରାଯିବ। ଏହା ବ୍ୟତୀତ ବାଣିଜ୍ୟ ଏବଂ ପରିବହନ ବିଭାଗରେ ବିମାନବନ୍ଦର/ଏୟାରସ୍ଟ୍ରିପ୍‌ରେ ବ୍ୟବହାର ପାଇଁ ୫ ଟି ALS ଆମ୍ବୁଲାନ୍ସ ଏବଂ ଝାରସୁଗୁଡ଼ା କାର୍ଡିଆକ୍ କେୟାର୍ ହସ୍ପିଟାଲ୍ ପାଇଁ ୨ ଟି ALS ଆମ୍ବୁଲାନ୍ସ ବ୍ୟବହାର କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟରେ ଦୈନିକ ୫ ହଜାର ରୋଗୀଙ୍କୁ ୧୦୮-ଆମ୍ବୁଲାନ୍ସ ଜରିଆରେ ବିଭିନ୍ନ ହସ୍ପିଟାଲକୁ ନିଆଯାଉଛି।

କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ରାଜ୍ୟରେ ଜରୁରୀକାଳୀନ ଆମ୍ୱୁଲାନ୍ସ ସେବାରେ ଅଧିକ ଉନ୍ନତି ଆଣିବା ପାଇଁ ପର୍ଯ୍ୟାୟକ୍ରମେ ପୁରୁଣା ଆମ୍ବୁଲାନ୍ସ ଗୁଡିକୁ ବଦଳାଯାଇ ନୂଆ ଆମ୍ବୁଲାନ୍ସ ଅଣାଯାଉଅଛି । ସ୍ୱାସ୍ଥ୍ୟ ସେବାକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ଆହୁରି ୧୦୮-EMAS ଆମ୍ବୁଲାନ୍ସ କ୍ରୟ କରାଯାଇଛି। ୪୨୮ଟି ଆମ୍ବୁଲାନ୍ସ ପାଇଁ ରାଜ୍ୟ ସରକାର ୧୧୧ କୋଟି ଖର୍ଚ୍ଚ କରିଛନ୍ତି।

ଆଜି ପ୍ରଥମ ପର୍ଯ୍ୟାୟରେ ୧୫୦ ଗୋଟି ନୂତନ ଜରୁରୀକାଳୀନ ଆମ୍ବୁଲାନ୍ସକୁ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରାଯାଉଛି । ଅବଶିଷ୍ଟ ନୂତନ ଆମ୍ବୁଲାନ୍ସ ଗୁଡିକୁ ଖୁବଶୀଘ୍ର ଆମ୍ବୁଲାନ୍ସ ସେବାରେ ନିୟୋଜିତ କରାଯିବ, ତାସହିତ ପୁରୁଣା Emergency Medical Ambulance Service ବା EMAS ଫ୍ଲିଟ୍‌କୁ ପରିବର୍ତ୍ତନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗୀୟ କମିଶନର ତଥା ସଚିବ ଅଶ୍ୱତୀ ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା, ଓଡ଼ିଶା ଡଃ. ବୃନ୍ଦା ଡି ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବିଭିନ୍ନ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

Hindustan Tales Odisha
Author: Hindustan Tales Odisha

Hindustan Tales Odisha brings you the latest news, Breaking News from Odisha, India and around the world.Stay informed with breaking News,24*7 Updates.

Latest Stories